ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ତାତିରୁ ମିଳୁନି ତ୍ରାହି । ରାଜ୍ୟର ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ । କିନ୍ତୁ ଏବେ ପାଗରେ ପରିବର୍ତ୍ତନ ଆସିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷୀଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବନୁମାନ କରିଛି ।
ଏପ୍ରିଲ ୬ ବେଳକୁ ଦକ୍ଷୀଣ ଆଣ୍ଡାମାନ ସାଗର ଓ ତାର ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ବାୟୁମଣ୍ଡଳ ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଯାହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷୀଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।
ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ରାୟଗଡା, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରିରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
ସେହିଭଳି ରାଜ୍ୟର ଉତ୍ତର ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।