ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ବର୍ଷାର ପରିମାଣ ବଢିଛି । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆହୁରି ୧୨ଘଣ୍ଟା ସକ୍ରିୟ ରହିବ। ଯାହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଚାରିଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବନ୍ୟା ସ୍ଥିତି ଉପୁଜିବା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେଣୁ ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦେଶ ଦିଆଯାଇଛି । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ଅନ୍ୟ ଜିଲ୍ଲାଗୁଡ଼ିକରେ ବି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ତେବେ ଆସନ୍ତା ୪୮ ଘଂଟା ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ଉପକୂଳ ଓଡ଼ିଶା ସମେତ ଉତ୍ତର-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ଏହି ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି ।