ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଣିପାଗରେ ଅନେକ ପରିବର୍ତ୍ତନ ପରିଲକ୍ଷିତ ହେବ । ରାଜ୍ୟର କିଛି କିଛି ସ୍ଥାନରେ ଆଜିଠାରୁ ୪ଦିନ ବର୍ଷା ହେବ । ୪ଦିନ ମଧ୍ୟରେ ଟ୍ୱିନ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଭ୍ୟନ୍ତରୀଣ ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ସହ ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବା ନେଇ ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧାମାଳ, ନବରଙ୍ଗପୁର, ବଲାଙ୍ଗୀର, ଗଞ୍ଜାମ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ଏହା ସହ କିଛି ସ୍ଥାନରେ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ତେବେ ଆଜି ସୋନପୁର, ସମ୍ବଲପୁର, କେନ୍ଦୁଝର, କଟକ, ବାଲେଶ୍ବର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ଗତକାଲି ଠାରୁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଭଦ୍ରକ ଆଦି ଜିଲ୍ଲାରେ ଝଡବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୦ ତାରିଖ ପାଇଁ ସୁନ୍ଦରଗଡ ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର, କଟକ, ଭୁବନେଶ୍ବରରେ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।